Rain Alert: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ବାତ୍ୟା ଆଶଙ୍କା; ନଭେମ୍ବର ୨ରୁ ବଢ଼ିବ ବର୍ଷା
ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ। ୨୪ ଘଣ୍ଟାରେ ବାତ୍ୟା ଆଶଙ୍କା। ନଭେମ୍ବର ୨ରୁ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ କିମି ବେଗରେ ପବନ ସମ୍ଭାବନା।

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଘନୀଭୂତ ହେଉଛି। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାର ସମ୍ଭାବନା ଥିବାବେଳେ, ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ ହୋଇପାରେ। ଏହାକୁ ନେଇ ଓଡ଼ିଶାରେ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ, ଏହି ସମ୍ଭାବ୍ୟ ବାତ୍ୟା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ରପ୍ରଦେଶ ଉପକୂଳ ନିକଟବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିପାରେ। ଏହାର ପ୍ରଭାବରେ ନଭେମ୍ବର ୨ ତାରିଖରୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ। ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୬୦ କିଲୋମିଟର ଛୁଇଁବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଅନ୍ୟପକ୍ଷରେ ଅକ୍ଟୋବର ୩୧ ଓ ନଭେମ୍ବର ୧ ତାରିଖରେ ରାଜ୍ୟରେ ବିଶେଷ ବର୍ଷା ନଥିବାବେଳେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ସମ୍ଭାବ୍ୟ ବାତ୍ୟାର ତୀବ୍ରତା ଏବଂ ଗତିପଥ ନେଇ ବର୍ତ୍ତମାନ ସ୍ପଷ୍ଟ ଆକଳନ କରାଯାଇନାହିଁ।
