ଲଘୁଚାପ ପ୍ରଭାବ: ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୬ ଦିନ ବର୍ଷା ସମ୍ଭାବନା
ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା । ଆସନ୍ତା ୬ ଦିନ ପର୍ଯ୍ୟନ୍ତ ବର୍ଷା ସହ ଆଗାମୀ ୩ ରୁ ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ । ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ।

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା । ଆସନ୍ତା ୨ ଦିନ ମଧ୍ୟରେ ଲଘୁଚାପ ଆହୁରି ଘନୀଭୂତ ହୋଇପାରେ। ପ୍ରଭାବରେ ରାଜ୍ୟରେ ଆସନ୍ତା ୬ ଦିନ ପର୍ଯ୍ୟନ୍ତ ବର୍ଷା ସହ ଆଗାମୀ ୩ ରୁ ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି । ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି । ସେହିପରି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ କୋରାପୁଟ ଓ ମାଲକାନଗିରିରେ ରେଡ୍ ୱାର୍ଣ୍ଣିଂ ବଳବତ୍ତର ରହିବା ବେଳେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ସମେତ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିଛି ବର୍ଷାର ପରିମାଣ । ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲା, ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ପ୍ରବଳ ବର୍ଷା ଯୋଗୁ ଅନେକ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପାର୍ବତ୍ୟାଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି। ସେହିପରି ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସତର୍କ ଥିବା ବେଳେ, ସାଧାରଣ ଲୋକଙ୍କୁ ଆବଶ୍ୟକ ନଥିଲେ ଘରୁ ନବାହାରିବାକୁ ବାରଣ, ବନ୍ୟାପ୍ରବଣ ଅଞ୍ଚଳରେ ସତର୍କତା ଅବଲମ୍ବନ କରିବା ଏବଂ ପ୍ରଶାସନର ପରାମର୍ଶ ମାନିବାକୁ ଅନୁରୋଧ କରିଛି।
